Skip to content
BibleKenya

Indian Revised Version(IRV) Odia - 2021

ଉପଦେଶକ 1

ସମସ୍ତ ଅସାର

ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।

ଉପଦେଶକ କହୁଅଛନ୍ତି,

“ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”

ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ,

ତାହାର ସେହିସବୁରୁ କି ଲାଭ?

ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;

କିନ୍ତୁ ପୃଥିବୀ ସଦାକାଳ ଥାଏ।

ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,

ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।

ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;

ଆପଣା ପଥରେ ସର୍ବଦା ଘୂରେ

ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,

ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ;

ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ;

ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।

ଯାହା ହୋଇଅଛି, ତାହା ହିଁ ହେବ

ଓ ଯାହା କରାଯାଇଅଛି, ତାହା ହିଁ କରାଯିବ;

ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।

ଯାହା ବିଷୟରେ ମନୁଷ୍ୟମାନେ କହନ୍ତି,

ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି?

ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ;

କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ,

ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

ଜ୍ଞାନର ଅସାରତା

ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି। ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ। ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।

ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି,

ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।” ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;

ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-11-09.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.