Skip to content
BibleKenya

Indian Revised Version(IRV) Odia - 2021

ଆୟୁବ 29

ଆୟୁବଙ୍କ ଶେଷ ଅଭିଯୋଗ

ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,

“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି,

ସେପରି ଯେବେ ଥାʼନ୍ତି;

ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା

ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;

ମୁଁ ଉତ୍ତମ ଅବସ୍ଥାରେ ଥିଲି,

ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;

ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ

ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;

ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା

ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।

ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,

ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ

ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।

ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ

ଓ ଆପଣା ଆପଣା ମୁଖରେ ହାତ ଦେଲେ;

କୁଳୀନମାନଙ୍କ ରବ ନିରସ୍ତ ହେଲା

ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।

କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା

ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;

ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,

ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।

ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା

ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।

ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା;

ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।

ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ

ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।

ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି

ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।

ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି

ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।

ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି

ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;

ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି

ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;

ମୋହର ଗୌରବ ମୋʼ ଠାରେ ସତେଜ ଥାଏ

ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।

ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ

ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।

ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ;

ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।

ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ

ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।

ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ

ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।

ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି

ଓ ସୈନ୍ୟଦଳ ମଧ୍ୟରେ ରାଜା ପରି

ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।

Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-11-09.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.