ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଯିଶାଇୟ 32
ଜଣେ ଧାର୍ମିକ ରାଜା
ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ,
ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ,
କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ
ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ,
ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
ସୁଖିନୀ ନାରୀଗଣଙ୍କ ବିପଦ
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ,
ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ;
କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ;
ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ;
ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ;
ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ,
ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ
ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ। ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.