Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଯିଶାଇୟ 35

ପବିତ୍ରତାର ପଥ

ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ

ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।

ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ;

ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ;

ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।

ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।

ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ;

ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ,

ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”

ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।

ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ;

କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।

ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ;

ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।

ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ;

ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ;

ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।

ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ;

ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;

ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ

ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ;

ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.