ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଆୟୁବ 12
ଆୟୁବ - ପରମେଶ୍ୱର ତାହା କରିଅଛନ୍ତି
ତହୁଁ ଆୟୁବ ଉତ୍ତର କରି କହିଲା,
“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ,
ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି;
ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ;
ହଁ, ଏପରି କଥାସବୁ କିଏ ନ ଜାଣେ?
ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି,
ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ;
ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ;
ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ
ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି;
ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ
ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ
ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ
ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ,
ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି
ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ;
ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ;
ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ;
ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ;
ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି
ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି
ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି
ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି
ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି;
ଓ ବଳବାନର ପଟୁକା ଫିଟାଇ ପକାନ୍ତି।
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି
ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି;
ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି
ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି,
ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.