Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 15

ଇଲୀଫସ୍‍-ଆୟୁବଠାରେ ପରମେଶ୍ୱରଙ୍କ ଭୟ ନାହିଁ

ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,

“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ?

ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?

ସେ କʼଣ ଅନର୍ଥକ କଥାରେ

ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?

ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ

ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।

କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି

ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।

ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ;

ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।

ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ?

ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?

ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ?

ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?

ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ?

ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?

ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।

ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ

ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?

ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ?

ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ

ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ

ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?

ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ?

ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?

ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ;

ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।

ତେବେ ଘୃଣାର୍ହ ଓ ଭ୍ରଷ୍ଟ,

ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!

ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ;

ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;

ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି

ଓ ଗୁପ୍ତ କରି ନାହାନ୍ତି;

କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା

ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;

ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ,

ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।

ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ,

ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;

ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ

ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;

ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ?

ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।

ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ;

ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;

କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି

ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;

ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ

ତାହାଙ୍କ ଉପରକୁ ଦୌଡ଼େ;

ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା

ଓ କଟିଦେଶ ହୃଷ୍ଟପୁଷ୍ଟ କଲା;

ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ

ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।

ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ;

କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।

ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ,

ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ

ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।1

ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ;

କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।

ତାହା ଆପଣା ସମୟ ପୂର୍ବେ ଶେଷ ପାଇବ

ଓ ତାହାର ଶାଖା ସତେଜ ହେବ ନାହିଁ।

ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ

ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।

କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ

ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।

ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି

ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”

Source notes (1)
  1. Footnote ସେ ଉଡ଼ିଯିବ। ଅର୍ଥାତ୍‍ ସେ ମରିଯିବ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.