Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 31

ଆୟୁବଙ୍କ ଶେଷ ବିନତି

ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;

ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?

କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ

ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?

ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ

ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?

ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ

ଓ ମୋହର ପାଦଗତି ଗଣନ୍ତି ନାହିଁ?

ଯଦି ମୁଁ ଅସାରତାରେ ଗତାୟାତ କରିଥାଏ

ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;

ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ,

ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।

ଯଦି ମୋହର ପାଦ ବିପଥରେ ଯାଇଥାଏ

ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ

ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;

ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ;

ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।

ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ

ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;

ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ1

ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।

କାରଣ ତାହା ଗୁରୁତର ଦୋଷ;

ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;

କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି

ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।

ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ,

ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;

ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି?

ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?

ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ?

ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?

ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ,

ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;

ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ

ଓ ପିତୃହୀନ ତହିଁରୁ ଖାଇ ନ ଥାଏ;

(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା

ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)

ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ,

ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,

ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ

ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;

ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି

ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;

ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ

ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।

କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା

ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।

ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ

ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;

ମୋହର ସମ୍ପଦ ଅତିଶୟ ହେବାରୁ

ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;

ସୂର୍ଯ୍ୟ ଦୀପ୍ତି ଦେବା ବେଳେ

ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;

ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ

ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;

ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା;

ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।

ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ,

ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;

(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ

ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);

ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି,

‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’

ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ;

ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;

ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା

ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;

ମହାଜନତାକୁ ଭୟ କରିବାରୁ

ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ

ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -

ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା!

(ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ),

ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!

ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି

ଓ ମୁକୁଟ ପରି ତାହା ବାନ୍ଧନ୍ତି।

ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି;

ଶାସକ ପରି ତାହାର ନିକଟକୁ ଯାଆନ୍ତି।

ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ

ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;

ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ,

ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;

ତେବେ ଗହମ ବଦଳେ କଣ୍ଟକଲତା

ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।”

ଆୟୁବଙ୍କ କଥା ସମାପ୍ତ ହେଲା।

Source notes (1)
  1. Footnote ଅନ୍ୟର ଚକି ପେଷୁ ଅର୍ଥାତ୍‍ ଅନ୍ୟର ଦାସୀ ହେଉ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.