Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 37

ଇଲୀହୂଙ୍କ ଈଶ୍ୱରଙ୍କ ମହିମାର ଘୋଷଣା

ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି

ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।

ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ

ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।

ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ

ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।

ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ,

ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି

ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।

ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି;

ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।

କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼;

ସେ ସାମାନ୍ୟ ବୃଷ୍ଟିକୁ

ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।

ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ,

ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।

ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି

ଓ ଆପଣା ଆପଣା ଗହ୍ୱରରେ ରହନ୍ତି।

ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ

ଓ ଉତ୍ତରରୁ ଶୀତ ଆସେ।

ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ

ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।

ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି;

ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।

ଆଉ, ସେ ଯାହା କିଛି ଆଜ୍ଞା କରନ୍ତି,

ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ

ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।

ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ,

ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।

ହେ ଆୟୁବ, ଏଥିରେ କର୍ଣ୍ଣପାତ କର;

ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।

ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି

ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?

ତୁମ୍ଭେ କି ମେଘମାଳର ସମତୌଲ,

ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?

ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ

ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?

ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?

ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ;

କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।

ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ?

ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?

ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ;

ମାତ୍ର ବାୟୁ ବହି ତାହା ପରିଷ୍କାର କରେ।

ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ;

ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।

ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ;

ସେ ପରାକ୍ରମରେ ଶ୍ରେଷ୍ଠ;

ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।

ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି;

ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.