ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ହିତୋପଦେଶ 14
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ;
ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ;
ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ;
ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ;
ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ;
କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ;
ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
ମୂର୍ଖ ନିକଟକୁ ଗଲେ,
ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ;
ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି;
ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ;
ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
ଦୁଷ୍ଟମାନଙ୍କ ଗୃହ ନିପାତ ହେବ;
ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ;
ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।
ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ;
ପୁଣି, ଆନନ୍ଦର ଶେଷ ଶୋକ।
ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ;
ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ;
ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
ଜ୍ଞାନୀ ଲୋକ ସତର୍କ ଥାଏ1 ଓ ମନ୍ଦକୁ ଛାଡ଼ିଦିଏ;
ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ;
ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି;
ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ
ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ;
ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।
ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ;
ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ?
ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି;
ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ;
ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ;
ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି;
ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ
ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ;
ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ;
ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ;
ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ;
ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ,
ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ;
ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।
ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ;
ମାତ୍ର ପାପ ନରଗଣର ଅପମାନ।
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର;
ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।
Source notes (1)
- Footnote ସତର୍କ ଥାଏ ସଦାପ୍ରଭୁଙ୍କୁ ଭୟ କରେ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.