ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 118
ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ;
ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଇସ୍ରାଏଲ ଏବେ କହନ୍ତୁ ଯେ,
ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
ହାରୋଣ-ବଂଶ ଏବେ କହନ୍ତୁ ଯେ,
ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ,
ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି;
ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ;
ମନୁଷ୍ୟ ମୋହର କଅଣ କରିପାରେ?
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ;
ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ;
ସଦାପ୍ରଭୁଙ୍କ ନାମରେ1 ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ;
ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ;
ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି;
ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ;
ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
ସଦାପ୍ରଭୁ ମୋହର ବଳ ଓ ଗାନ;
ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ;
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ;
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି
ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି;
ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି;
ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ଏହି ସଦାପ୍ରଭୁଙ୍କ ଦ୍ୱାର;
ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ
ଓ ମୋହର ପରିତ୍ରାଣ ହୋଇଅଛି।
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ,
ତାହା କୋଣର ପ୍ରଧାନ ପଥର ହୋଇଅଛି।
ଏହା ସଦାପ୍ରଭୁଙ୍କ କର୍ମ;
ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର;
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ;
ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି;
ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି;
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
Source notes (1)
- Footnote ନାମରେ ଅର୍ଥାତ୍ ବଳରେ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.