Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 145

ସ୍ତୁତିଗାନ

ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ।

ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି;

ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,

ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି;

ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।

ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;

ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।

ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ

ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।

ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ

ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।

ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ;

ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।

ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ

ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।

ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ;

କ୍ରୋଧରେ ଧୀର ଓ ଦୟାରେ ମହାନ।

ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;

ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।

ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ;

ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;

ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି

ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,

ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ

ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।

ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ

ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।

ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି

ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।

ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ;

ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।

ତୁମ୍ଭେ ଆପଣା ହସ୍ତ ମେଲାଇ

ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।

ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ

ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,

ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,

ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।

ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ;

ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।

ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି;

ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।

ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ

ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.