Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 28:7

Verse 7 is marked below, with the whole chapter around it. Read from the start

ସହାୟତା ପାଇଁ ପ୍ରାର୍ଥନା

ଦାଉଦଙ୍କର ଗୀତ।

ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ;

କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।

ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ,

ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ,

ମୋʼ ନିବେଦନର ରବ ଶ୍ରବଣ କର।

ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ;

ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି,

ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।

ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ;

ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।

ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ

ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।

ସଦାପ୍ରଭୁ ଧନ୍ୟ ହେଉନ୍ତୁ,

କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।

ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;

ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;

ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି;

ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

ସଦାପ୍ରଭୁ ସେମାନଙ୍କର ବଳ

ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।

ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର;

ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.