Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 38

ଦୁଃଖୀର ପ୍ରାର୍ଥନା

ଦାଉଦଙ୍କର ଗୀତ, ସ୍ମରଣୋପାୟ।

ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ;

କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।

କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି

ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।

ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ;

ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।

କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି;

ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।

ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ

ଓ ବିକୃତ ହୋଇଅଛି।

ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି।

ମୁଁ ସାରାଦିନ ଶୋକ କରି ବୁଲୁଥାଏ।

କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ

ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।

ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି।

ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।

ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି

ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।

ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି;

ମୋହର ଚକ୍ଷୁର ତେଜ ମଧ୍ୟ ମୋʼ ଠାରୁ ଗଲାଣି।

ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ

ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି

ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।

ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି;

ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି,

ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।

ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ;

ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।

ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ,

ଏପରି ଲୋକ ତୁଲ୍ୟ ହୁଏ।

କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ;

ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।

କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ;

ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”

ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ

ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।

ମୁଁ ଆପଣା ଅପରାଧ ପ୍ରକାଶ କରିବି;

ମୁଁ ଆପଣା ପାପ ଲାଗି ଖେଦିତ ହେବି।

ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;

ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।

ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,

ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ;

ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

ହେ ପ୍ରଭୋ, ମୋହର ପରିତ୍ରାଣ,

ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.