Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 77

ଦୁର୍ଦ୍ଦଶା ସମୟରେ ଆଶ୍ୱାସନା

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଆସଫର ଗୀତ।

ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି;

ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।

ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି;

ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା;

ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।

ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି;

ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ;

ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।

ମୁଁ ପୂର୍ବକାଳର ଦିନସବୁ,

ପୁରାତନ କାଳର ବର୍ଷସବୁ ଭାବନା କରିଅଛି।

ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି;

ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି;

ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ?

ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?

ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା?

ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?

ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି?

ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” [ସେଲା]

ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା;

ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”

ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି;

ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।

ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି

ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।

ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;1

ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?

ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର;

ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।

ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ,

ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।

ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା,

ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା;

ମଧ୍ୟ ବାରିଧି କମ୍ପିତ ହେଲା।

ମେଘମାଳ ଜଳ ବୃଷ୍ଟି କଲେ,

ଆକାଶ ଗର୍ଜ୍ଜନ କଲା;

ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।

ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା;

ବିଜୁଳି ଜଗତକୁ ଆଲୁଅମୟ କଲା;

ପୃଥିବୀ କମ୍ପିତ ଓ ଥରହର ହେଲା।

ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା,

ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।

ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା

ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

Source notes (1)
  1. Footnote ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍‍ ପବିତ୍ରତାରେ ତୁମ୍ଭର ପଥ ଥାଏ;

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.