ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 84
ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ।
ହେ ସୈନ୍ୟାଧିପତି ସଦାପ୍ରଭୋ,
ତୁମ୍ଭର ଆବାସ କିପରି ପ୍ରିୟତମ!
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ;
ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ
ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି,
ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍
ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ;
ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ
ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି;
ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି,
ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ;
ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର
ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;
ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ
ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି;
ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ;
ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
ହେ ସୈନ୍ୟାଧିପତି ପରମେଶ୍ୱର,
ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.